Odisha Link
Bridging the Missing Links in Odisha

ଆଜି ଶ୍ରୀପଞ୍ଚମୀ, ମା’ସରସ୍ୱତୀଙ୍କ ପୂଜା

ଭୁବନେଶ୍ୱର: ଆଜି ମା’ସରସ୍ୱତୀଙ୍କ ପୂଜା। ବିଦ୍ୟାଦାତ୍ରୀ ମା’ଙ୍କ ଆରାଧାନର ଦିନ। ସବୁ ଠି ମାଙ୍କ ଆରାଧନା ଆରମ୍ଭ ହୋଇଛି। ଧରାବତରଣ କରିଛନ୍ତି ବୀଣା, ପୁସ୍ତକ ଧାରିଣୀ ମା’ ସରସ୍ୱତୀ। ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ଛାତ୍ରୀମାନେ ମା’ସରସ୍ୱତୀଙ୍କ ପୂଜା କରି ବିଦ୍ୟା ବୁଦ୍ଧି କାମନା କରିଛନ୍ତି।

ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ। ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ। ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ। ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି।

ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି। ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ। ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି।

ସରସ୍ୱତୀ ଶବ୍ଦର ମୂଳ ଅର୍ଥ ହେଲା – ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି। ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ। ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ ଦେବୀ। ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା। ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ୱତୀ ସମ୍ଭୁତା। ମା ସରସ୍ୱତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ୱରୂପ ଆଦ୍ୟାଶକ୍ତିଙ୍କର।

Comments are closed.