ଭାରତରେ କରୋନା: ୮୧ ହଜାର ପାର ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୮୨ ହଜାର ପାଖାପାଖି ପହଁଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୩୯୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୦୦ ଜଣ ଲୋକଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧, ୯୭୦ରେ ପହଁଞ୍ଚିଛି। ସେମଧ୍ୟରୁ ୨୬୪୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୫୧୪୦୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୭,୯୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।