କରୋନା: ସ୍ପେନକୁ ଟପିଲା ଭାରତ, ଦିନକରେ ୯୯୭୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଜୀବନ ଓ ଜୀବିକାକୁ ନଜରରେ ରଖି ସାରା ଦେଶରେ ପର୍ଯ୍ୟାୟକ୍ରମେ ଲକ୍ଡାଉନ୍ କଟକଣାକୁ କୋହଳ କରାଯାଉଛି। ହେଲେ ମହାମାରୀ କରୋନା ଭାଇରସ୍ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୨ ଲକ୍ଷ ୪୬ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଫଳରେ ଆକ୍ରାନ୍ତଙ୍କ ମାମଲାରେ ସ୍ପେନକୁ ଟପିଛି ଭାରତ। ବର୍ତ୍ତମାନ ସମୟରେ କରୋନା ଆକ୍ରାନ୍ତ ମାମାଲାରେ ସାରା ବିଶ୍ବରେ ୫ମ ସ୍ଥାନରେ ଅଛି ଭାରତ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୯୯୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୮୭ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୫୨୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୬୨୮ରେ ପହଁଞ୍ଚିଛି। ସେମଧ୍ୟରୁ ୬୯୨୯ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୧,୨୦,୪୦୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୧,୧୯,୨୯୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର।
ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।