ଆଉ ଏକ ଲଘୁଚାପ: ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୪ ତାରିଖ ମଧ୍ୟାହ୍ନ ସୁଦ୍ଧା ଓଡିଶାର ଜିଲ୍ଲାମାନଙ୍କରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ତେବେ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି। ସେହିପରି ଏହି ସମୟ ମଧ୍ୟରେ ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।