Odisha Link
Bridging the Missing Links in Odisha

୨୮ ଯାଏ ବର୍ଷିବ, ୧୧ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଯାଏ ଲାଗି ରହିବ ବର୍ଷା। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଆସନ୍ତା ୩ ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ଉପକୂଳ ଏବଂ ଉତ୍ତର ଓଡ଼ିଶାର ୧୧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜିଠୁ ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି। ସେହିପରି ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ରହିଛି।

ଲଗାଣ ବର୍ଷା କାରଣରୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ। ଲଗାଣ ବର୍ଷାକୁ ନଜରରେ ରଖି ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ କୁମାର ଜେନା ସମସ୍ତ ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବର୍ଷାରେ କଚ୍ଚା ଘର ନଷ୍ଟ ହେବା ସହ ରାସ୍ତା ବିଚ୍ଛିନ୍ନ ହେବା ଏବଂ ବନ୍ୟା ସ୍ଥିତି ଉପୁଜିପାରେ ଏହାକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।

ବୁଧବାର ଆଭ୍ୟନ୍ତରୀଣ ଓଡ଼ିଶାର ସମ୍ବଲପୁର, ସୋନପୁର, ବରଗଡ଼, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ଦେବଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ନବରଙ୍ଗପୁର, କନ୍ଧମାଳ, ଅନୁଗୁଳ ଓ କେନ୍ଦୁଝରରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ।

ଗୁରୁବାର ବରଗଡ଼, ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ। ଲଘୁଚାପ ଯୋଗୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Comments are closed.