ଦିନକରେ ୭୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ମୋଟ ୩୬ ଲକ୍ଷ ପାର

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ କରୋନା ସଂକ୍ରମଣ। ଦିନକୁ ଦିନ ଦେଶରେ ବଢ଼ି ଚାଲିଛି କରୋନା ପଜିଟିଭଙ୍କ ସଂଖ୍ୟା। ଏପରିକି ଦୈନିକ ସଂକ୍ରମଣରେ ଭାରତ ଏକ ନମ୍ବର ସ୍ଥାନରେ ଅଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୩୬ଲକ୍ଷ ୨୧ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ସଂଖ୍ୟକ ନୂଆ ୭୮,୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୯୭୧ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୬୦,୮୬୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୧,୨୪୫ରେ ପହଁଞ୍ଚିଛି। ସେମଧ୍ୟରୁ ୬୪,୪୬୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୭,୮୧,୯୭୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୭,୭୪,୮୦୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାହା ଏକ ଆାଶ୍ବସ୍ତିକର ଖବର।
ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।