ପ୍ରବଳ ବର୍ଷା ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ମୌସୁମୀ ଉତ୍ତରମୁହାଁ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ। ଏହାବ୍ୟତୀତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅପରପକ୍ଷେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସଜାଗ ରହିବା ସହ ଆବଶ୍ୟକ ପ୍ରସ୍ତୁତି ସାରିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି।
ଗତ ୨୪ ଘଣ୍ଟାରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ବାକି ସମସ୍ତ ସ୍ଥାନରେ ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ଝଡ଼ ତୋଫାନ ଜନିତ ବର୍ଷା ହୋଇଯାଇଛି। ସର୍ବାଧିକ ୩୨.୨ ମିମି ବର୍ଷା ଅନୁଗୁଳ ଜିଲ୍ଲା ରେଙ୍ଗାଲିରେ ହୋଇଛି। ମୟୂରଭଞ୍ଜ ଜିଲ୍ଲା ତିରିଙ୍ଗରେ ୨୬.୨ମିମି, ବୌଦ୍ଧ ଜିଲ୍ଲା ହାଡ଼ଭଙ୍ଗାରେ ୨୩.୦ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି।