Odisha Link
Bridging the Missing Links in Odisha

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୭ ସୂତ୍ରୀ ପରାମର୍ଶ। କୋଭିଡ୍ ପରିଚାଳନା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ, ଡିଜିପି, ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳ ଓ ଏସପିଙ୍କ ସହ କଥା ହୋଇଛନ୍ତି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ସଂକ୍ରମଣ ମାମଲା ବଢ଼ି ଚାଲିଛି। କୋଭିଡ୍ ଯୋଦ୍ଧାଙ୍କ ନିରନ୍ତର ଉଦ୍ୟମ ଯୋଗୁଁ ରାଜ୍ୟରେ ସ୍ଥିତି ନିୟନ୍ତ୍ରଣରେ ରହିଛି। କରୋନାର ବିରୋଧରେ ଆମକୁ ଦୀର୍ଘ ଦିନ ଧରି ଯୁଦ୍ଧ କରିବାକୁ ପଡ଼ିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କରୋନା ସଂକ୍ରମଣ ନେଇ କୋଭିଡ୍ ପରିଚାଳନା ସମ୍ପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

୧) ଜିଲ୍ଲାସ୍ତରରେ କୋଭିଡ୍ ଚିକିତ୍ସା କେନ୍ଦ୍ର ଗୁଡ଼ିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍ସିଜେନ ସୁବିଧା ସବୁଠାରୁ ବଡ଼ ପ୍ରାଥମିକତା । ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।

୨) ଅଧିକ ସଂକ୍ରମଣ ଥିବା ଅଞ୍ଚଳ ଗୁଡିକରେ ଟେଷ୍ଟିଂ, ଟ୍ରେସିଂ ଓ କଣ୍ଟେନମେଣ୍ଟକୁ ଜୋରଦାର କରିବା ।

୩) ICU ଓ HDU ଦାୟିତ୍ୱରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ।

୪) ଟିକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ । ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟିକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।

୫) କୋଭିଡ୍ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସମ୍ପୃକ୍ତ ହସ୍ପିଟାଲ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।

୬) କୋଭିଡ୍ ହସ୍ପିଟାଲ ଗୁଡ଼ିକରେ ହେଲ୍‌ପ ଲାଇନ୍ ଗୁଡ଼ିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।

୭) ଏଭଳି କଠିନ ସମୟରେ ଦୁଃଖୀ ଓ ଅସହାୟ ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

କୋଭିଡ୍ ଆହ୍ୱାନ ବହୁତ ବଡ଼ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍‌ଡାଉନ୍ ଲାଗୁ କରାଯାଇଛି । ଏହା ଠିକ୍‌ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମେ ସଫଳତା ପାଇଛୁ ଏବଂ ଏହି କୋଭିଡ୍ ମହାମାରୀ କ୍ଷେତ୍ରରେ ମଧ୍ୟ ଏହା ହିଁ ଉପଯୁକ୍ତ ପନ୍ଥା।

ତେଣୁ ସହରାଞ୍ଚଳରେ ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ସକ୍ରିୟ ସହଯୋଗରେ ଲୋକଙ୍କ ସହାୟତା କରଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦେଶର ଅଳ୍ପ କେତେକ ରାଜ୍ୟଙ୍କ ମଧ୍ୟରେ ଓଡ଼ିଶା ହେଉଛି ଏକ ରାଜ୍ୟ ଯେଉଁଠାରେ କୋଭିଡର ପରୀକ୍ଷା ଠାରୁ ଆରମ୍ଭ କରି ଚିକିତ୍ସା, ରହିବା ସୁବିଧା, ଖାଦ୍ୟ ଓ ଔଷଧ ପର୍ଯ୍ୟନ୍ତ ସବୁକିଛି ସରକାର ମାଗଣାରେ ଦେଉଛନ୍ତି। ଏହା ଦ୍ୱାରା ସବୁବର୍ଗର ଲୋକ, ବିଶେଷ କରି ଗରିବ ଲୋକମାନେ ଭଲ ଭଲ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ନିର୍ଭୟରେ ଆଗେଇ ଆସୁଛନ୍ତି ।

ଏଥିପାଇଁ ସରକାର ତାଙ୍କ ସମ୍ବଳର ଏକ ବଡ଼ ଅଂଶ ଖର୍ଚ୍ଚ କରୁଛନ୍ତି। ତେଣୁ ଲୋକଙ୍କୁ ଉତ୍ତମ ମାନର ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟିକାକରଣ ହେଉଛି ଆମର ମୁଖ୍ୟ ରଣନୀତି। ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ ହସ୍ପିଟାଲ ଗୁଡିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି। କୋଭିଡ୍ ପର୍ଯ୍ୟବେକ୍ଷକ ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି। ଅକ୍ସିଜେନ୍ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି। କୋଭିଡ୍ କେୟାର କେନ୍ଦ୍ର ଗୁଡ଼ିକରେ ଅଧିକ ICU ଓ ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି ଏବଂ ଆହୁରି ଅଧିକ ଶଯ୍ୟା ପାଇଁ ପଦକ୍ଷେପ ଜାରି ରହିଛି ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କୋଭିଡ୍ ପରିସ୍ଥିତି ଉପରେ ଏକ ଉପସ୍ଥାପନା ରଖି କହିଥିଲେ ଯେ ସାରା ବିଶ୍ୱରେ ବର୍ତ୍ତମାନ ଭାରତର କୋଭିଡ୍ ସଂକ୍ରମଣ ସଂଖ୍ୟା ୫୪ ପ୍ରତିଶତ ରହିଛି । ଓଡ଼ିଶାରେ ବର୍ତ୍ତମାନର ସ୍ଥିତି ସମ୍ପର୍କରେ ଆଲୋକପାତ କରି ସେ କହିଛନ୍ତି, ଓଡ଼ିଶାର କୋଭିଡ୍ ସଂଖ୍ୟା ବର୍ତ୍ତମାନ ଦେଶର କୋଭିଡ୍ ସଂଖ୍ୟାର ୨.୭ ପ୍ରତିଶତ ରହିଛି । ସର୍ବଭାରତୀୟ ସ୍ତରରେ ମୃତ୍ୟୁହାର ୧.୦୯% ଥିବାବେଳେ, ଓଡ଼ିଶାରେ ଏହା ୦.୪୦% ରହିଛି । ଖୋର୍ଦ୍ଧା ଓ କଟକ ଜିଲ୍ଲା ବ୍ୟତୀତ ଛତିଶଗଡ଼ ସୀମାରେ ଜିଲ୍ଲା ଗୁଡିକରେ ଅଧିକ ପଜିଟିଭ କେସ୍‌ ରହୁଛି ବୋଲି ସେ କହିଛନ୍ତି ।

ଓଡ଼ିଶାରେ ବର୍ତ୍ତମାନ ଟେଷ୍ଟ ପଜିଟିଭିଟି ଗତ ୧୫ ଦିନ ଧରି ୨୦.୨% ରହିଛି । ଓଡ଼ିଶାରେ ଅକ୍ସିଜେନ ଉପଲବ୍ଧତା ଉପରେ ସୂଚନା ଦେଇ ସେ କହିଛନ୍ତି, ଯେ ରାଜ୍ୟରେ ବର୍ତ୍ତମାନ ଦୈନିକ ୫୨.୯ ମେଟ୍ରିକ ଟନ୍‌ ଅକ୍ସିଜେନ ଖର୍ଚ୍ଚ ହେଇଛି । ରାଜ୍ୟରେ ଟିକାର ଉପଲବ୍ଧତା ଓ ବ୍ୟବହାର ସମ୍ପର୍କରେ ମଧ୍ୟ ସେ ସୂଚନା ଦେଇଛନ୍ତି । ପୋଲିସ ମହାନିର୍ଦ୍ଦେଶକ ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ନେଇ ସୂଚନା ଦେଇଛନ୍ତି । କୋଭିଡ୍ ନିୟମାବଳୀର ଉଲ୍ଲଂଘନ ପାଇଁ ବର୍ତ୍ତମାନ ସୁଦ୍ଧା ୨୮ କୋଟି ୯୧ ଲକ୍ଷ ଟଙ୍କା ଜରିମାନା ଆଦାୟ କରାଯାଇଛି । ବିଭିନ୍ନ କୋଭିଡ୍ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସମ୍ପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ ।

ବୈଠକରେ ସମ୍ବଲପୁର, ବରଗଡ଼, ପୁରୀ, କଟକ ଓ ଭୁବନେଶ୍ୱର ମହାନଗର ନିଗମରେ କୋଭିଡ୍ ପରିଚାଳନା ସମ୍ପର୍କରେ ଜିଲ୍ଲାପାଳ ଓ କମିଶନର ମାନେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।

Leave A Reply

Your email address will not be published.