Odisha Link
Bridging the Missing Links in Odisha

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାରି ମଧ୍ୟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୧୧ ତାରିଖ ସୁଦ୍ଧା ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।

ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆସନ୍ତା ୨-୩ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.