ଆହୁରି ୩ ଦିନ ବର୍ଷିବ
ଭୁବନେଶ୍ବର: ରାଜ୍ୟରେ ଲଘୁଚାପ ବର୍ଷା ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ଓ୍ବାର୍ଣ୍ଣିଂ ଜାରି କରିଛି। ରବିବାର ପାଇଁ ପାଣିପାଗ ବିଭାଗ ୧୭ଟି ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରିଛି।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଅଧିକ ବର୍ଷା ହେବ। ଏହା ପଶ୍ଚିମ, ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ୨-୩ ଦିନ ମଧ୍ୟରେ ଗତି କରିବ ।
ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କ ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ସମ୍ବଲପୁର, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।