Odisha Link
Bridging the Missing Links in Odisha

ରାହୁଲ ଗାନ୍ଧିଙ୍କ ଲୋକସଭା ସାଂସଦ ପଦ ରଦ୍ଦ

କୋର୍ଟଙ୍କ ଦ୍ବାରା ଦଣ୍ଡାଦେଶ ଘୋଷଣା ପରେ ସଦସ୍ୟତା ରଦ୍ଦ ହୋଇଥିବା ସୂଚନା ମିଳିଛି।

ଓଏଲ୍‌ ବ୍ୟୁରୋ: କଂଗ୍ରେସର ସାଂସଦ ରାହୁଲ ଗାନ୍ଧିଙ୍କ ଲୋକସଭା ସାଂସଦ ପଦ ରଦ୍ଦ ହୋଇଛି। କୋର୍ଟଙ୍କ ଦ୍ବାରା ଦଣ୍ଡାଦେଶ ଘୋଷଣା ପରେ ସଦସ୍ୟତା ରଦ୍ଦ ହୋଇଥିବା ସୂଚନା ମିଳିଛି। ମୋଦି ଉପନାମକୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ମାମଲାରେ ରାୟ ଶୁଣାଇଥିଲେ ସୁରତ ଜିଲ୍ଲା ନ୍ୟାୟାଳୟ। ଦାଏର ଅପରାଧିକ ମାନହାନି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଏହି ମାମଲାରେ ଚିଫ୍ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ଏଚ୍. ଏଚ୍‌. ବର୍ମାଙ୍କ ଅଦାଲତ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିଲେ। ‘ଆଇପିସି’ ଧାରା ୫୦୪ ଅନୁଯାୟୀ ରାହୁଲ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଅନ୍ୟପକ୍ଷେ, ଏହି ମାମଲାରେ ରାହୁଲ୍‌ ଗାନ୍ଧୀଙ୍କୁ ୩୦ ଦିନ ପାଇଁ ଜାମିନ ମିଳିସାରିଥିଲା।

ସୂଚନା ଅନୁସାରେ, ସବୁ ଚୋର କାହିଁକି ମୋଦି ସାଙ୍ଗିଆ ବହନ କରିଛନ୍ତି ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ମନ୍ତବ୍ୟ ଦେଇଥିଲେ। ତେବେ ଏହି ମାନହାନି ମାମଲାକୁ ନେଇ କୋର୍ଟରେ କେଶ ଦାଏର ହୋଇଥିଲା। ଉପରୋକ୍ତ ମନ୍ତବ୍ୟ ଦେଇଥିବାରୁ ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗରେ ଉଲ୍ଲେଖ କରାଯାଇଥିଲା। ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍‌ଠାରେ ଆୟୋଜିତ ରାଲିରେ ଉଦ୍‌ବୋଧନ ଦେବା ବେଳେ ରାହୁଲ୍‌ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ। ଉପରୋକ୍ତ ମାମଲାର ଶୁଣାଣି କରି ଗୁଜରାଟର ସୁରତ ଜିଲ୍ଲାସ୍ଥିତ ଏକ ଅଦାଲତ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଜେଲ୍ ଦଣ୍ଡାଦେଶ ଦେଇଥିଲେ। ପରେ ତାଙ୍କୁ ଜାମିନ ମିଳିଥିଲା, ହେଲେ ବର୍ତମାନ ତାଙ୍କ ଲୋକସଭା ସାଂସଦ ପଦବୀ ଚାଲିଯାଇଥିବା ଜଣା ପଡିଛି।

Leave A Reply

Your email address will not be published.