Odisha Link
Bridging the Missing Links in Odisha

ଓଡ଼ିଶାର ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ବାଧ୍ୟତାମୂଳକ

କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୋଧରେ ମକଦ୍ଦମା ସହିତ ଜୋରିମାନା ମଧ୍ୟ କରାଯାଇଥିବା ସୂଚନା ମିଳିଛି।

ଓଏଲ୍‌ ବ୍ୟୁରୋ: ଓଡ଼ିଶାରେ ଥିବା ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନର ନାମଫଳକକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଓଡ଼ିଶାର ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ ହୋଇଥିବା ଜଣା ପଡିଛି। ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ଏପର୍ୟ୍ୟନ୍ତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨,୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡ଼ିଆର ନାମଫଳକ ଲେଖାଯାଇଛି। କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୋଧରେ ମକଦ୍ଦମା ସହିତ ଜୋରିମାନା ମଧ୍ୟ କରାଯାଇଥିବା ସୂଚନା ମିଳିଛି। ବର୍ତ୍ତମାନ ଏହାକୁ କଡାକଡି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

ଚଳିତ ମାସଠାରୁ ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ ଦିଆଯିବ। ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନହୁଏ, ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜୋରିମାନା ଓ ଲାଇସେନ୍ସ ରଦ୍ଦ କରାଯିବ। ପ୍ରଥମଥର ଖିଲାପକାରୀଙ୍କୁ ୫୦୦୦ ଟଙ୍କା ଜୋରିମାନା ଏବଂ ଦ୍ୱିତୀୟଥର ଖିଲାପକାରୀଙ୍କୁ ୨୫୦୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ। ଓଡ଼ିଶାରେ ଥିବା ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନର ନାମଫଳକ ଓଡ଼ିଆରେ ଲେଖାଇଯାଇଛି କି ନାହିଁ ତାହାର ତଦାରଖ କରିବେ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ।

Leave A Reply

Your email address will not be published.