Odisha Link
Bridging the Missing Links in Odisha

ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା, ଗଜବେଶରେ ସଜ୍ଜିତ ହେବେ ଚତୁର୍ଦ୍ଧା ମୂର୍ତ୍ତି

ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି।

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା। ପ୍ରତିବର୍ଷ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ। ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ। ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ। ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ। ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ। ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି।

ଦେବସ୍ନାନ ପୂର୍ଣ୍ଣିମା ଦିନ ଚତୁର୍ଦ୍ଧା ମୂର୍ତ୍ତି, ସ୍ନାନ ପରେ ଗଜବେଶରେ ସଜ୍ଜିତ ହୁଅନ୍ତି। ଏହା ପଛରେ ଏକ କିମ୍ବଦନ୍ତୀ ନିହିତ। ମହାରାଷ୍ଟ୍ରର ଏକ ବ୍ରାହ୍ମଣ ଗଣପତି ଭଟ୍ଟ ଥରେ ଶ୍ରୀ କ୍ଷେତ୍ରର ମହିମା ବିଷୟରେ ଶୁଣି, ମହାପ୍ରଭୁଙ୍କ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଆସିଲେ। ସେ ଭଗବାନ ଗଣେଶଙ୍କର ଭକ୍ତ ଥିଲେ। ତେଣୁ ଦାରୁ ବିଗ୍ରହଙ୍କ ଦର୍ଶନ କରି, ଗଜ ରୂପ ନଦେଖି ସେ ତାଙ୍କୁ ପରମବ୍ରହ୍ମ ବୋଲି ମାନିବାକୁ ଅସ୍ୱୀକାର କଲେ ଏବଂ କ୍ଷୁବ୍ଧ ହୋଇ ମନ୍ଦିର ତ୍ୟାଗ କଲେ।

ପରଦିନ ଦେବସ୍ନାନ ପୂର୍ଣ୍ଣିମା ଥିଲା। ମହାପ୍ରଭୁଙ୍କ ଆଦେଶରେ ବଡ଼ପଣ୍ଡା ଗଣପତି ଭଟ୍ଟଙ୍କୁ ସ୍ନାନ ଯାତ୍ରା ଦେଖିବା ପାଇଁ ଆମନ୍ତ୍ରଣ କଲେ। ତାଙ୍କ ଦୃଷ୍ଟି ସମ୍ମୁଖରେ ଦାରୁ ବିଗ୍ରହ ଶ୍ରୀ ଜଗନ୍ନାଥଙ୍କ ରୂପ ପରିବର୍ତ୍ତନ ହୋଇ ଗଣପତି ରୂପ ହୋଇଗଲା। ଏ ଅଲୌକିକ ଘଟଣା ଦେଖି ତାଙ୍କର ଜ୍ଞାନୋଦୟ ହେଲା ଏବଂ ସେ ନିଜର ଭୂଲ ବୁଝିପାରିଲେ। ତାଙ୍କ ପ୍ରାର୍ଥନାରେ ସନ୍ତୁଷ୍ଟ ହୋଇ ମହାପ୍ରଭୁ ତାଙ୍କୁ ବର ପ୍ରଦାନ କଲେ ଯେ, ପ୍ରତିବର୍ଷ ଏହି ଦିନରେ ସେ ଗଜବେଶ ଧାରଣ କରିବେ। ଏହି ଘଟଣା ପରଠାରୁ ପ୍ରତିବର୍ଷ ଚତୁର୍ଦ୍ଧା ମୂର୍ତ୍ତି ସ୍ନାନ ପୂର୍ଣ୍ଣିମାରେ ଗଜବେଶ ଧାରଣ କରନ୍ତି। ଅନ୍ୟପଟେ, ଦେବସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ପୂର୍ବ ପ୍ରସ୍ତୁତି ଶେଷ ହୋଇଛି।

Leave A Reply

Your email address will not be published.