ଆସନ୍ତା ତିନି ଦିନ ପାଇଁ ବର୍ଷା ଆଲର୍ଟ! ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ
ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା

ଓଏଲ୍ ବ୍ୟୁରୋ: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା। ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଆସନ୍ତା ତିନି ଦିନ ପାଇଁ ବର୍ଷା ଆଲର୍ଟ। ଆସନ୍ତାକାଲି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ। ଆସନ୍ତା ୨୪ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି। ଏସବୁ ଜିଲ୍ଲା ଗୁଡ଼ିକ ହେଲା କେନ୍ଦ୍ରାପଡ଼ା, କଟକ, ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ। ଏହା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ।
ସୂଚନା ଅନୁସାରେ, ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।