ଲଘୁଚାପ ପ୍ରଭାବ: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ
ଓଏଲ୍ ବ୍ୟୁରୋ: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ହୋଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ୨ଟି ସ୍ଥାନରେ ଅତି ପ୍ରବଳ ଓ ୨୦ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ସିନାପାଲି ଓ କରଞ୍ଜିଆରେ ୧୨୦ମିମି ବର୍ଷା ରେକର୍ଡ କରାଯାଇଥିବା ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।
ଅନ୍ୟପଟେ, ଲଘୁଚାପ ପ୍ରଭାବରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଜୁଳି, ଘଡ଼ଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରହିଥିବା ଲଘୁଚାପ ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଆଜି ରାଜ୍ୟର ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୭ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।