Odisha Link
Bridging the Missing Links in Odisha

ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ: ସାମିଲ ହେଲା ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲା

ଓଏଲ୍‌ ବ୍ୟୁରୋ: ଐତିହ୍ୟ ସ୍ଥଳର ବିକାଶ ପାଇଁ ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି। ଗାଁରେ ଆରମ୍ଭ ହୋଇଛି ବିକାଶର ନୂଆ ଯୁଗ। ପ୍ରତି ପଞ୍ଚାୟତରେ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନକୁ ସଶକ୍ତ ଓ ସମୃଦ୍ଧ କରିବାକୁ ରାଜ୍ୟ ସରକାରଙ୍କ ଐତିହାସିକ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ଆରମ୍ଭ ହୋଇଛି।

ଆଜି ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲା ସାମିଲ ହୋଇଛି। ୨୫୧ କୋଟି ବ୍ୟୟରେ ଗଞ୍ଜାମରେ ୫,୭୦୬ଟି ପ୍ରକଳ୍ପ ହେବ। ସୁବର୍ଣ୍ଣପୁରକୁ ୫୪ କୋଟି ମିଳିଥିବାବେଳେ ୧୪୧୯ଟି ପ୍ରକଳ୍ପ କରାଯିବ। ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଆଜିର କାର୍ଯ୍ୟକ୍ରମ ପାଇଁ ଗଞ୍ଜାମ ଜିଲ୍ଲାର ୧୨ଟି ଓ ସୁବର୍ଣ୍ଣପୁର ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। କେବଳ ଗଞ୍ଜାମ ଜିଲ୍ଲାରେ ଏକ ଲକ୍ଷରୁ ଅଧିକ ଲୋକ ସାମିଲ ହୋଇଥିଲେ। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ବିକାଶର ଏହି ନୂଆ ଚେହେରା ଗାଁ ଲୋକଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବ ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ  ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା। ନବୀନ ଓଡିଶାର ପରିଚୟ ନେଇ ରାଜ୍ୟର ପ୍ରତି ଗାଁ ବିକାଶର ମାର୍ଗରେ ଆଗକୁ ବଢିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
Leave A Reply

Your email address will not be published.