Odisha Link
Bridging the Missing Links in Odisha

ନବୀନଙ୍କୁ ପ୍ରଶଂସା କଲେ ମନମୋହନ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ନିର୍ବାଚନୀ ମାହୋଲ। ଓଡ଼ିଶାରେ ଏକାଥରେ ବିଧାନସଭା ଓ ଲୋକସଭା ନିର୍ବାଚନ ହେଉଥିବା ବେଳେ ସାରା ଦେଶର ନଜର ଏବେ ବିଶେଷ ଭାବେ ଓଡ଼ିଶା ଉପରେ ରହିଛି। ଓଡ଼ିଶାରେ ବିଜେଡି-ବିଜେପି ମେଣ୍ଟ ହେବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଖୋଦ୍‌ ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ମେଣ୍ଟ ନୁହେଁ ଦଳ ଏକାକୀ ଲଢ଼ିବ ବୋଲି ସୂଚନା ଦେଇଛନ୍ତି। ଏଥିସହିତ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ସେ ଖୁବ ପ୍ରଶଂସା କରିଛନ୍ତି।

ମନମୋହନ ସାମଲ ଏକ୍ସରେ ସୂଚନା ଦେଇ କହିଛନ୍ତି, ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ।

ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ। କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି। ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ।

ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ନିଜ ଟ୍ୱିଟ ମଧ୍ୟରେ ଉଲ୍ଲେଖ କରିଛନ୍ତି।

Leave A Reply

Your email address will not be published.