ଆଜି ରାମଲାଲାଙ୍କ ଜନ୍ମୋତ୍ସବ; ସମସ୍ତଙ୍କ ମଙ୍ଗଳ କାମନା କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଆଜି ପବିତ୍ର ରାମନବମୀ। ୫ ଶହ ବର୍ଷ ପରେ ଭବ୍ୟ ହେବ ରାମଲାଲାଙ୍କ ଜନ୍ମୋତ୍ସବ। ବାଲକ୍ ରାମଙ୍କ ସୂର୍ଯ୍ୟ ତିଳକକୁ ଅଗଣିତ ରାମଭକ୍ତ ଅପେକ୍ଷା କରିଛନ୍ତି। ଆଜି ପ୍ରଭୁ ରାମ ଚନ୍ଦ୍ରଙ୍କ ଜନ୍ମତ୍ସୋବ। ଏହି ଦିନ ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ର ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ। ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ। ତେବେ ପ୍ରଭୁଙ୍କ ଜନ୍ମଦିନକୁ ପ୍ରତିବର୍ଷ ପାଳନ କରାଯାଏ। ସମସ୍ତ ପୀଠର ଭକ୍ତମାନେ ପ୍ରଭୁଙ୍କ ପୂଜାର୍ଚ୍ଚନା କରିଥାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।
ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି। ମର୍ଯ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ଯେକଟି ଜୀବନ ମଙ୍ଗଳମୟ ହେଉ। #ରାମନବମୀ pic.twitter.com/W8sEwmepfR
— Naveen Patnaik (@Naveen_Odisha) April 17, 2024
ଆମେ ଜାଣିଛେ, ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ। ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା। ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ। କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ। ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ। ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ। ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ।
କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ। ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ। ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ। ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ। ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା।
ବାଲ୍ମିକୀ ରାମାୟଣ ମତେ, ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା। ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ। ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି। ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା।
ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ। ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ। ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ। ହିନ୍ଦୁ ଧର୍ମର ମର୍ଯ୍ୟାଦା ପୁରୁଷ ରୂପେ ପ୍ରଭୁ ଶ୍ରୀରାମ ପୂଜା ପାଇଆସୁଛନ୍ତି।