ସମୀର ଦେ’ଙ୍କ ଦେହାନ୍ତ, ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥଗିତ
ଓଏଲ୍ ବ୍ୟୁରୋ: ରାଜ୍ୟ ରାଜନୀତି ପାଇଁ ଅଶୁଭ ଖବର। ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ୬୭ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ ପ୍ରାଣତ୍ୟାଗ କରିଛନ୍ତି। ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ମୃତ୍ୟୁ ଖବର ପରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି। ସମୀର ଦେ’ଙ୍କ ଦେହାନ୍ତ କାରଣରୁ କଟକ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ବାତିଲ କରାଯାଇଛି। କଟକ ପ୍ରଶାସନ ପକ୍ଷରୁ ଗଣକବି ବୈଷ୍ଣବ ପାଣି ମଞ୍ଚ ଓ ଅକ୍ଷୟ ମହାନ୍ତି ମଂଚରେ ହେବାକୁ ଥିବା କଟକ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥଗିତ କରାଯାଇଛି।
ବିଜେପି ନେତା ସମୀର ଦେ’ଙ୍କ ଦେହାନ୍ତ ପରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।