କରୋନା: ଦେଶରେ ୧୭ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୫ ଲକ୍ଷ ୮୫ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୧୮,୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୫୦୭ ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଅପରପକ୍ଷେ ୧୩,୧୫୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୫,୪୯୩ରେ ପହଁଞ୍ଚିଛି। ସେମଧ୍ୟରୁ ୧୭,୪୦୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୨,୨୦, ୧୧୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୩,୪୭,୯୭୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସବୁଠୁ ବଡ଼କଥା ହେଲା ବର୍ତ୍ତମାନ ଦେଶରେ ଥିବା ସକ୍ରିୟ ଆକ୍ରାନ୍ତଙ୍କଠୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ। ଯାହା ଦେଶବାସୀଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର। ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।