‘ସମଲେଈ’ମନ୍ଦିର ବିକାଶ ପାଇଁ ଯୋଜନା ଆରମ୍ଭ

ଭୁବନେଶ୍ବର: ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ରାଜ୍ୟ ସରକାର ମନ୍ଦିର ଅଞ୍ଚଳ ପରିଚାଳନା ଏବଂ ସ୍ଥାନୀୟ ଅର୍ଥନୀତି ପଦକ୍ଷେପ (ସମଲେଇ) ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ମନ୍ଦିର ତଥା ୧୦୪ ଜମିର ବିକାଶ ପାଇଁ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ।
ଏହି ଯୋଜନାରେ ମା’ଙ୍କ ମନ୍ଦିରର ସୌନ୍ଦର୍ୟ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ୟ୍ୟଟକ ଓ ଭକ୍ତମାନଙ୍କ ସୁବିଧା ସୁଯୋଗକୁ ଗୁରୁତ୍ବ ଦିଆଯାଇଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲା।
ମନ୍ଦିରରେ ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜାରୀଙ୍କ ପାଇଁ ବିଶ୍ରାମଗୃହ ନିର୍ମାଣ କରାଯିବ। ଭକ୍ତମାନେ ପୂର୍ବ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ। ମନ୍ଦିରର ମୁଖ୍ୟ ପ୍ରବେଶ ଦ୍ବାର ପାଖରେ ମନ୍ଦିର କାର୍ଯ୍ୟାଳୟ, ବ୍ୟାଖ୍ୟାନ କେନ୍ଦ୍ର ଏବଂ ଜନସାଧାରଣଙ୍କ ପାଇଁ ଜରୁରୀ ସୁବିଧାର ବିକାଶ କରାଯିବ।
ମନ୍ଦିର ନିକଟରେ ଅବସ୍ଥିତ ଗୋପାଳଜୀଉ ମଠର ସଂରକ୍ଷଣ କରାଯିବ ଏବଂ ଏହାର ବିକାଶକୁ ମୂଳ ଯୋଜନା ସହ ସମନ୍ବିତ କରାଯିବ। ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ।
ପାର୍କିଂ ଜାଗା, ସ୍ବତନ୍ତ୍ର ଭେଣ୍ଡିଂ ଜୋନ, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ। ତା’ସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍ଧ ହେବ। ମନ୍ଦିର ନିକଟରେ ରହୁଥିବା ସେବାୟତମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ।